କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ହୋଇ ଯାଇଛି। ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥ ନାୟକଙ୍କର ଗତକାଲି ବିଳମ୍ବିତ ରାତିରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ । ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।